Onn 3

ସମଗ୍ର ରାଜ୍ୟକୁ ଛୁଇଁଲା ମୌସୁମୀ; ୨୭ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା

State

ଭୁବନେଶ୍ୱର: ଶୁକ୍ରବାର ରାଜ୍ୟର ସବୁ ଜିଲ୍ଲାକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଗ୍ରସର ହୋଇଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ତେବେ ଆଜି ମୌସୁମୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି । ଆସନ୍ତା ୪୮ଘଣ୍ଟା ମଧ୍ୟରେ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ବର୍ଷା ଲାଗି ରହିଥିବା ବେଳେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଓଡ଼ିଶା ଉପକୂଳରେ ଗୋଟିଏ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଛି । ଯାହାର ପ୍ରଭାବରେ ଆଗାମୀ ୪ ଦିନ ପର୍ଯ୍ୟନ୍ତ କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ରିପୋର୍ଟରେ ଦର୍ଶାଯାଇଛି ଯେ, ଆସନ୍ତାକାଲି ଅର୍ଥାତ ୨୪ ତାରିଖରେ କଟକ, ଯାଜପୁର, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଏହି ସବୁ ଜିଲ୍ଲାରେ ୭ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏଡାବ୍ୟତୀତ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼ା, ଅନୁଗୋଳ, କନ୍ଧମାଳ, ବୌଦ୍ଧ, ସୋନପୁର, ସମ୍ୱଲପୁର, ଦେବଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

୨୫ ତାରିଖରେ କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, ବୌଦ୍ଧ, ସମ୍ୱଲପୁର, ସୋନପୁର, ବରଗଡ଼ ଓ ଝାରୁସୁଗୁଡ଼ାରେ କେତେକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ୭ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ମୟୂରଭଞ୍ଜ, ଯାଜପୁର, ଢେଙ୍କାନାଳ, କଟକ, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗିର, ନୂଆପଡ଼ା ଓ ନୟାଗଡ଼ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

୨୬ ତାରିଖରେ ଅନୁଗୋଳ, ସମ୍ୱଲପୁର, ସୋନପୁର, ବୌଦ୍ଧ, ବରଗଡ଼, ବଲାଙ୍ଗିର ଓ କଳାହାଣ୍ଡି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ୭ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ଢେଙ୍କାନାଳ, କଟକ, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ ନୂଆପଡ଼ା ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

୨୭ ତାରିଖରେ ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗିର, ବରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।ଶୁକ୍ରବାର ରାଜ୍ୟରେ ଯାଜପୁରରେ ସର୍ବାଧିକ ୩୨ମିମି ବର୍ଷା ହୋଇଥିବା ବେଳେ ବାଲେଶ୍ୱରରେ ୧ମିମି, ଚାନ୍ଦବାଲିରେ ୨୦.୬ମିମି, ପାରାଦ୍ୱୀପରରେ ୫ମିମି, ଭୁବନେଶ୍ୱରରେ ୦.୩ମିମି, ଗୋପଳପୁରରେ ୨୪.୮ମିମି, ବର୍ଷା ହୋଇଥିବା ବେଳେ କେନ୍ଦୁଝର, ପାରଳାଖେମୁଣ୍ଡି, ଜଗତସିଂପୁର, ବ୍ରହ୍ମପୁର ଆଦି ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି ।

ଅପରପେକ୍ଷ ଓଡ଼ିଶାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିବା ପରେ ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ଓ ଜଳ ପ୍ରବେଶ ବଢ଼ିଛି । ଜଳଭଣ୍ଡାରରେ ଗତକାଲି (ଗୁରୁବାର) ଜଳସ୍ତର ୬୦୦.୩୯ ଫୁଟ ଥିବାବେଳେ ତାହା ଆଜି ବୃଦ୍ଧି ପାଇ ୬୦୦.୫୬ ଫୁଟରେ ପହଞ୍ଚିଛି । ତେବେ ଜଳ ପ୍ରବେଶ ବଢ଼ିବାରୁ ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଇଛି । ସେହିପରି ଗତକାଲି ହୀରାକୁଦ ଜଳଭଣ୍ଡାରକୁ ସେକେଣ୍ଡ ପିଛା ୩୬୫ କ୍ୟୁସେକ ଜଳ ପ୍ରବେଶ କରୁ ଥିବାବେଳେ ଆଜି ଏହା ବୃଦ୍ଧି ପାଇ ୯୫୨୩ରେ ପହଞ୍ଚିଛି । ଛତିଶଗଡ଼ର କଲମା ବ୍ୟାରେଜ୍‌ର କିଛି ଗେଟ୍ ଖୋଲା ଥିବାବେଳେ ଏଠାରୁ ୪୦୦୦ ହଜାରୁ ଅଧିକ କ୍ୟୁସେକ୍ ଜଳ ନିଷ୍କାସନ କରାଯାଉଛି । କେଲୋ ଡ୍ୟାମର କିଛି ଗେଟ୍ ଖୋଲାଥିବାବେଳେ ଉପମୁଣ୍ଡରେ ବର୍ଷା ମଧ୍ୟ ହୋଇଛି । ହୀରାକୁଦ ବନ୍ଧ କର୍ତ୍ତୃପକ୍ଷ ଦେଇଥିବା ତଥ୍ୟ ଅନୁସାରେ ଗତ ୨୪ ଘଣ୍ଟାରେ ଉପରମୁଣ୍ଡରେ ୧୩.୪୨ ମିଲିମିଟର ବର୍ଷା ରେକର୍ଡ ହୋଇଛି । ସେହିପରି ତଳମୁଣ୍ଡରେ ୨୫.୫୫ ମିଲିମିଟର ବର୍ଷା ରେକର୍ଡ ହୋଇଛି । ହୀରାକୁଦରେ ୬୬.୨ ମିଲିମିଟର ବର୍ଷା ରେକର୍ଡ କରାଯାଇଛି ।