Onn 3

ବଦଳିବ ପ୍ରାଥମିକ ଶ୍ରେଣୀଗୃହ ପରିବେଶ, ପ୍ରସ୍ତୁତ ହେବ ଅନୁକୂଳ ବାତାବରଣ

State

ଭୁବନେଶ୍ୱର: ବଦଳିବ ପ୍ରାଥମିକ ଶ୍ରେଣୀ ଗୃହ ପରିବେଶ। ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ବୃଦ୍ଧି ପାଇଁ ପ୍ରସ୍ତୁତ ହେବ ଅନୁକୂଳ ବାତାବରଣ। ଦରିରେ ବସିବେ, ରଙ୍ଗୀନ ଡେକ୍ସରେ ଲେଖିବେ ଛାତ୍ରଛାତ୍ରୀ। କାନ୍ଥଚିତ୍ର, ଶୈକ୍ଷିକ ଉପକରଣ ବଢ଼ାଇବ ଆଗ୍ରହ। ପ୍ରଥମ ପର୍ଯ୍ୟାୟରେ ୬ ହଜାରରୁ ଊର୍ଦ୍ଧ୍ୱ ବିଦ୍ୟାଳୟ ସାମିଲ କରାଯିବା ନେଇ ରହିଛି ଲକ୍ଷ୍ୟ। ରାଜ୍ୟରେ ୧୬ ଟି ଜିଲ୍ଲାର ପ୍ରାଥମିକ ସ୍କୁଲର ପରିବେଶ ବଦଳିବ।

ଛାତ୍ରଛାତ୍ରୀଙ୍କ କୋମଳ ମନରେ ଶିକ୍ଷା ପ୍ରତି ଆଗ୍ରହ, କୌତୁହଳ, ଉତ୍ସାହ ଆଣିବା ଉଦ୍ଦେଶ୍ୟରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ବ୍ୟାପକ ବ୍ୟବସ୍ଥା କରିଛି। ଶ୍ରେଣୀଗୃହ ପରିବେଶକୁ ଆକର୍ଷଣୀୟ କରିବା ଉଦ୍ଦେଶ୍ୟରେ ମୌଳିକ ଭିତ୍ତିଭୂମିର ରକ୍ଷଣାବେକ୍ଷଣ ଏବଂ ମରାମତି ସୁବିଧା ଯୋଗାଇ ଦେବାକୁ ଆବଶ୍ୟକ ପାଣ୍ଠି ଯୋଗାଇ ଦେଇଛି।

ଶିକ୍ଷାର ମୂଳଦୁଆ ହେଉଛି ପ୍ରାଥମିକ ଶିକ୍ଷା। ଏହି ମୂଳଦୁଆ ଉପରେ ଭବିଷ୍ୟତର ଉଚ୍ଚ ଶିକ୍ଷା ଗଢ଼ି ଉଠିଥାଏ। ମୌଳିକ ସାକ୍ଷରତା ଓ ସଂଖ୍ୟା ଜ୍ଞାନ କାର୍ଯ୍ୟକ୍ରମ ପ୍ରଚଳନର ଉଦ୍ଦେଶ୍ୟ ହେଉଛି ଏହି ମୂଳଦୁଆକୁ ମଜଭୁତ କରିବା। ପ୍ରତ୍ୟେକ ଛାତ୍ରଛାତ୍ରୀ ଯେପରି ଭାଷା ଓ ଗାଣିତିକ ଜ୍ଞାନରେ ପାରଦର୍ଶୀ ହୋଇପାରିବେ ସେଥିପ୍ରତି ରହିଛି ଲକ୍ଷ୍ୟ। ଏହି ଲକ୍ଷ୍ୟ ହାସଲ ପାଇଁ ବଦଳିବ ପ୍ରାଥମିକ ଶ୍ରେଣୀଗୃହ ପରିବେଶ। ଛାତ୍ରଛାତ୍ରୀଙ୍କ ପାଇଁ ପ୍ରସ୍ତୁତ ହେବ ଅନୁକୂଳ ବାତାବରଣ।

ପ୍ରଥମରୁ ତୃତୀୟ ଶ୍ରେଣୀର ପିଲାମାନେ ପଢ଼ିବା, ଲେଖିବା, ଆବଶ୍ୟକୀୟ ଶିକ୍ଷଣ ଦକ୍ଷତା ହାସଲ କରିବା ଲକ୍ଷ୍ୟରେ ଶ୍ରେଣୀଗୃହ ପରିବେଶକୁ ଅନୁକୂଳ କରିବାର ପଦକ୍ଷେପ ନିଆଯାଉଛି। ଶ୍ରେଣୀଗୃହକୁ ଶିଶୁ ସୁଲଭ, ଆକର୍ଷଣୀୟ, ଆନନ୍ଦମୟ କରିବା ପାଇଁ ବିଭିନ୍ନ କାନ୍ଥଚିତ୍ର, ବିଭିନ୍ନ ଆକୃତିର ଡେକ୍ସ, ଆଲମାରୀ/ଥାକ, ଗ୍ରୀନ୍ ବୋର୍ଡ, ପ୍ରଦର୍ଶନ ବୋର୍ଡ, ଶୈକ୍ଷିକ ଉପକରଣ ଝୁଲାଇବା ପାଇଁ ହୁକ୍, ବସିବା ପାଇଁ ଦରି, ଶ୍ରେଣୀଗୃହର ଆବଶ୍ୟକ ମରାମତି, ବିଦ୍ୟୁତିକରଣ ଓ ଆଲୋକୀକରଣ, ଶିକ୍ଷଣ ସାମଗ୍ରୀ ପ୍ରଦର୍ଶନର ବ୍ୟବସ୍ଥା ଆଦି କରାଯିବ। ସ୍ୱତନ୍ତ୍ର ଢାଞ୍ଚାରେ ପାଠ୍ୟକ୍ରମ ପ୍ରସ୍ତୁତି, ଚିତ୍ତାକର୍ଷକ ଶିକ୍ଷଣ ସାମଗ୍ରୀ (ଉଭୟ ଅନ୍‌ଲାଇନ୍ ଓ ଅଫ୍‌ଲାଇନ୍), ଶିକ୍ଷକ ଦକ୍ଷତା ବିକାଶ, ମୂଲ୍ୟାଙ୍କନ ଶୈଳୀ ଇତ୍ୟାଦି ପର୍ଯ୍ୟାୟକ୍ରମ ବିକାଶ କରାଯାଇଛି।

ଜିଲ୍ଲାରେ ଛାତ୍ରଛାତ୍ରୀ ଅନୁକୂଳ ଶ୍ରେଣୀଗୃହ ନିର୍ମାଣ ପୂର୍ବରୁ ପାଇଲଟ୍ ପ୍ରକଳ୍ପ ଭାବେ ରାଜଭବନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଗ୍ରହଣ କରାଯାଇଥିଲା। ଏହି ପ୍ରାଥମିକ ବିଦ୍ୟାଳୟରେ ବିକାଶିତ ହୋଇଥିବା ଶ୍ରେଣୀଗୃହକୁ ସମସ୍ତ ବୈଷୟିକ ଶିକ୍ଷକ ଓ ବରିଷ୍ଠ ଶିକ୍ଷକ ପରିଦର୍ଶନ କରି ତାଲିମ ନେଇଛନ୍ତି। ଏହି ବିଦ୍ୟାଳୟରେ ସମସ୍ତ ସୁବିଧା ସୁଯୋଗ କରିବା ପରେ ଛାତ୍ରଛାତ୍ରୀଙ୍କ ଭିତରେ ଆକାଂକ୍ଷିତ ଶୈକ୍ଷିକ ବିକାଶ ହେଉଥିବା ଲକ୍ଷ୍ୟ କରାଯାଇଛି। ପରେ ସମାନ ଢାଞ୍ଚାରେ ଶ୍ରେଣୀଗୃହ ପ୍ରସ୍ତୁତି କରିବା ପାଇଁ ପଦକ୍ଷେପ ନିଆଯାଇଛି। ସମସ୍ତ ୧୬ଟି ଜିଲ୍ଲାରେ ବିଦ୍ୟାଳୟ ସ୍ତରରେ ଏଫ୍ଏଲ୍ଏନ୍ କାର୍ଯ୍ୟକ୍ରମକୁ ସଫଳ ରୂପାୟନ ପାଇଁ ସମସ୍ତ ବରିଷ୍ଠ ବୈଷୟିକ ପରାମର୍ଶଦାତାଙ୍କ ସହ ବିଭାଗୀୟ ଅଧିକାରୀଙ୍କୁ ପ୍ରଶିକ୍ଷଣ ଦିଆଯାଇଛି।