Onn 3

ଚାଷୀଙ୍କ ଆକାଉଣ୍ଟକୁ କାଳିଆ ଟଙ୍କା ପଠାଇଲେ ମୁଖ୍ୟମନ୍ତ୍ରୀ

State

kalia

ଭୁବନେଶ୍ୱର: ପବିତ୍ର ନୂଆଁଖାଇ ପର୍ବ ଅବସରରେ ରାଜ୍ୟର ୪୪ ଲକ୍ଷ ୫୬ ହଜାର ଚାଷୀ ପରିବାର କାଳିଆ ସହାୟତା ପାଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କନଫରେନ୍ସ ଜରିଆରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଏହି ସହାୟତା ପ୍ରଦାନ କରିଛନ୍ତି। ରବି ଫସଲ ପାଇଁ ଏହି ସହାୟତା ଦିଆଯାଇଛି। ପ୍ରତ୍ୟେକ ଚାଷୀ ପରିବାରଙ୍କ ବ୍ୟାଙ୍କ୍ ଆକାଉଣ୍ଟ କୁ ୨୦୦୦ ଟଙ୍କା ଦିଆ ଯାଇଛି।

ଏଥିରେ ୪୩ ଲକ୍ଷ ୮୮ ହଜାର କ୍ଷୁଦ୍ର ଓ ନାମ ମାତ୍ର ଚାଷୀ ଥିବା ବେଳେ ୬୮ ହଜାର ୭୫୦ ଜଣ ଭୂମିହୀନ ଚାଷୀ ପରିବାର ଅଛନ୍ତି। ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ନୂଆଁଖାଇ ର ଶୁଭେଚ୍ଛା ଜଣାଇ କହିଲେ ଯେ ଚାଷୀ ଆମର ଗୌରବ। ମୋ ରାଜ୍ୟର ଚାଷୀ ପରିବାର ସମ୍ମାନର ସହ, ସ୍ୱାଭିମାନର ସହ ବଂଚୁ ବୋଲି ସେ ଚାହାନ୍ତି। ବିକାଶର ସୁଫଳରେ ଚାଷୀ ସାମିଲ ହେଉ ବୋଲି ସେ କହିଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଜି ପର୍ଯ୍ୟନ୍ତ କାଳିଆ ଯୋଜନାରେ ରାଜ୍ୟର ଚାଷୀ ଭାଇ ଭଉଣୀ ମାନଙ୍କୁ ୧୨,୫୦୦ କୋଟି ଟଙ୍କାର ସହାୟତା ଦିଆ ଯାଇଛି।

ସେ ପୁଣି କହିଥିଲେ ଯେ ଚାଷୀ ପରିବାରର ପିଲାମାନେ ଡାକ୍ତର, ଇଞ୍ଜିନିୟର ହୋଇ, ଭଲ ଭଲ ପେଶାର ଯୋଗ ଦିଅନ୍ତୁ ବୋଲି ସେ ଚାହାନ୍ତି। ଏହାଦ୍ବାରା ସେମାନେ ନିଜ ପରିବାର ପାଇଁ, ସାରା ରାଜ୍ୟ ପାଇଁ ସୁନାମ ଆଣି ପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।ସୂଚନା ଯୋଗ୍ୟ ଯେ କାଳିଆ ସହାୟତା ପାଉଥିବା ଚାଷୀ ମାନଙ୍କ ପିଲା ମାନଙ୍କୁ ରାଜ୍ୟ ସରକାର କାଳିଆ ସ୍କଲାରସିପ୍ ଦେଉଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଚାଷୀଙ୍କ ସୁବିଧା ପାଇଁ ରାଜ୍ୟ ସରକାର ଫସଲ ବୀମାର ପ୍ରିମିୟମ ଦେଉଛନ୍ତି। ଏ ବର୍ଷ ୨୨ ଲକ୍ଷରୁ ଅଧିକ ଚାଷୀ ବୀମା ପାଇଁ ପଞ୍ଜିକରଣ କରି ସାରିଲେଣି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। କୃଷି ପାଇଁ ରାଜ୍ୟ ସରକାର ବହୁତ୍ ଯୋଜନା କରିଛନ୍ତି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଚାଷୀ ମାନେ ଏହାର ସୁଯୋଗ ନେଇ ଓଡ଼ିଶାକୁ କୃଷି କ୍ଷେତ୍ରରେ ଏକ ସମୃଦ୍ଧ ରାଜ୍ୟ ଭାବେ ଗଢ଼ିବା ପାଇଁ ପରାମର୍ଶ ଦେଇଥିଲେ।

ସୂଚନାଯୋଗ୍ୟ ଯେ କାଳିଆ ସହାୟତା ରେ କ୍ଷୁଦ୍ର ଓ ନାମ ମାତ୍ର ଚାଷୀ ମାନଙ୍କୁ କୃଷି ପାଇଁ ବିହନ, ସାର, ରୋଗ ପୋକ ପାଇଁ ଔଷଧ ଓ ଯାନ୍ତ୍ରିକ ଉପକରଣ କିଣିବା ପାଇଁ ସିଧା ସଳଖ ସହାୟତା ଦିଆଯାଉଛି। ଏହା ଦ୍ବାରା ସେମାନେ ଋଣ ଗ୍ରସ୍ତ ହେବାର ସମ୍ଭାବନା ରହୁ ନାହିଁ। ଏହା ସହିତ ଭୂମି ହୀନ ଚାଷୀ ମାନଙ୍କୁ ବିଭିନ୍ନ ଜୀବିକା ପାଇଁ ଯଥା ଛେଳି, କୁକୁଡ଼ା, ବତକ ପାଳନ, ମହୁ ଚାଷ, ଛତୁ ଚାଷ ଆଦି ପାଇଁ ମଧ୍ଯ ଏହି ସହାୟତା ଦିଆଯାଉଛି।

ଏହି ଅବସରରେ ରାଜ୍ୟ କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁ କହିଲେ ଯେ ମୁଖ୍ୟ ମନ୍ତ୍ରୀଙ୍କ ଦୂର ଦୃଷ୍ଟି ଯୋଗୁ ରାଜ୍ୟରେ ଅନେକ କୃଷି କଲ୍ୟାଣ ଯୋଜନା କାର୍ଯ୍ୟକାରୀ ହେଉଛି। ସେଥିମଧ୍ୟରୁ କାଳିଆ ଯୋଜନା ସ୍ବତନ୍ତ୍ର। ଏହା ଯୋଗୁଁ ଚାଷୀ ମାନେ ଆଉ ବେସରକାରୀ ଅର୍ଥ ଲଗାଣ କାରି ସଂସ୍ଥା କିମ୍ବା ଗାଁ ସାହୁକାର ଉପରେ ନିର୍ଭର କରୁ ନାହାନ୍ତି। ନିଜ ଉପରେ ଚାଷୀ ମାନଙ୍କ ଆସ୍ଥା ବଢ଼ିଛି। ଗତ ଚାରି ବର୍ଷରେ ରାଜ୍ୟରେ କ୍ରମାଗତ ଭାବେ ରେକର୍ଡ ଉତ୍ପାଦନ ହେଉଛି ବୋଲି ସେ କହିଥିଲେ।