Onn 3

କାମ ଆରମ୍ଭକୁ ୭ବର୍ଷ ପୂରିଲାଣି, ସରୁନି ଟିକିରା-ଶ୍ରୀରାମପୁର ସେତୁ ନିର୍ମାଣ

State

ଆପ୍ରୋଚ ରୋଡ଼ ସମସ୍ୟାକୁ ନେଇ କଂଗ୍ରେସର ଆନ୍ଦୋଳନ ଧମକ

ଆଗରପଡ଼ା: ନିର୍ମାଣକୁ ୭ବର୍ଷ ପୂରି ସାରିଥିଲେ ସୁଦ୍ଧା ଭଦ୍ରକ ଜିଲ୍ଲା ବନ୍ତ ବ୍ଲକ ଆଗରପଡ଼ା ସ୍ଥିତ ଟିକିରା-ଶ୍ରୀରାମପୁର ଗ୍ରାମକୁ ସଂଯୋଗୀକରଣ ନିମନ୍ତେ ସାଳନ୍ଦୀ ନଦୀ ଉପରେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ନିର୍ମାଣ ହେଉଥିବା ବିଜୁ ସେତୁ କାର୍ଯ୍ୟ ସଂପୂର୍ଣ୍ଣ ହୋଇ ପାରୁନଥିବାରୁ ଜନ ଅସନ୍ତୋଷ ବଢିବାରେ ଲାଗିଛି । ଆପ୍ରୋଚ ରୋଡ଼ ଏଥି ପାଇଁ ମୁଖ୍ୟ ସମସ୍ୟ ହୋଇଥିବାରୁ ଏହାକୁ ନେଇ ବିଭିନ୍ନ ଗଣମାଧ୍ୟମରେ ବାରମ୍ବାର ଖବର ପ୍ରକାଶ ପାଇବା ପରେ ଗତ ବର୍ଷ ଏପ୍ରିଲ ମାସରେ ବିଭାଗ ପକ୍ଷରୁ ଏହାର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥିଲା; କିନ୍ତୁ ଇତି ମଧ୍ୟରେ ୧୭ମାସ ବିତିଯାଇଥିଲେ ସୁଦ୍ଧା ଏହା ସମ୍ପୂର୍ଣ୍ଣ ହୋଇ ପାରିନାହିଁ । ଯାହାକି ବିଭାଗୀୟ ଅଧିକାରୀଙ୍କ କାର୍ଯ୍ୟପନ୍ଥା ଉପରେ ଅଙ୍ଗୁଳ ନିର୍ଦ୍ଦେଶ କରିବା ସହ ଠିକାଦାରଙ୍କ ମନମୁଖୀ କାର୍ଯ୍ୟ ଚର୍ଚ୍ଚାର ବିଷୟ ପାଲଟିଛି । ଏହି ସମସ୍ୟାକୁ ନେଇ ଶୁକ୍ରବାର ପ୍ରଦେଶ କଂଗ୍ରେସ ପୂର୍ବତନ ସଭାପତି ନିରଞ୍ଜନ ପଟ୍ଟନାୟକ ଗଟଣାସ୍ଥଳକୁ ଆସି ସ୍ଥାନୀୟ ଲୋକଙ୍କ ସହ ଆଲୋଚନା କରିବା ପରେ ବିଭାଗୀୟ ଅଧିକାରୀଙ୍କ ସହ ଯୋଗାଯୋଗ କରିଥିଲେ । ଏବଂ ଆସନ୍ତା ୨୪ ତାରିଖ ପରେ ଉକ୍ତ ସମସ୍ୟାର ସମାଧାନ ଆଗାମୀ ପନ୍ଦର ଦିନ ମଧ୍ୟରେ କରାନଗଲେ ଦଳ ପକ୍ଷରୁ ଆନ୍ଦୋଳନ କରାଯିବ ବୋଲି ଚେତାବନୀ ଦେଇଥିବାର ଜଣାପଡ଼ିଛି । ଏଥିରେ ବରିଷ୍ଠ ନେତା ସୁବ୍ରତ ଦାସ,ଗଙ୍ଗାଧର ପତି,ରବିନାରାୟଣ ମହାନ୍ତି,ସତ୍ୟବାନ ଦାସ,ମନୋଜ ବେହେରା,ଛାୟାକାନ୍ତ ନନ୍ଦ,କାଳିଆ ନାୟକ ପ୍ରମୁଖ ଉପସ୍ଥିତ ଥିଲେ ।

 

Photo1 for the News of Salandi Bridge

 

ଟିକିରା-ଶ୍ରୀରାମପୁର ଅଂଚଳର ପ୍ରମୁଖ ବ୍ୟବସାୟୀକ କେନ୍ଦ୍ର ଆଗରପଡ଼ା କିନ୍ତୁ ସାଳନ୍ଦୀ ନଦୀ ଏଥି ପାଇଁ ବାଧକ ସୃଷ୍ଟି ହେଉଥିବାରୁ ସ୍ଥାନୀୟ ଜନସାଧାରଣଙ୍କ ଦାବି ଫଳରେ ସ୍ୱର୍ଗତ ତତ୍କାଳିନ ସାଂସଦ ଅର୍ଜ୍ଜୁନ ଚରଣ ସେଠୀ ଓ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ସହଯୋଗରେ ବିଜୁ ସେତୁ ନିର୍ମାଣ ପାଇଁ ୪ କୋଟି ୨୧ ଲକ୍ଷ ୯୨ ହଜାର ୪୨୦ ଟଙ୍କାର ପ୍ରକଳ୍ପ ମଂଜୁର ହୋଇଥିଲା । ୨୦୧୬ ଫେବୃୟାରୀ ୪ ତାରିଖରେ ନିର୍ମାଣ ହୋଇ ୨୦୧୭ ଅକ୍ଟୋବର ୩ରେ କାର୍ଯ୍ୟ ଶେଷ ହେବାର ଥିଲା । ମାତ୍ର ବିଭାଗୀୟ ଅଧିକାରୀ ଓ ଠିକାଦାରଙ୍କ ମଧୁଚନ୍ଦ୍ରିକାରୁ ଅବଧି ସରିବାର ବହୁ ବିଳମ୍ବରେ ସେତୁ କାର୍ଯ୍ୟ ସମାପ୍ତି ହୋଇଥିଲେ ସୁଦ୍ଧା ରାସ୍ତା ସଂଯୋଗୀକରଣ(ଆପ୍ରୋଚ ରୋଡ଼) ନିର୍ମାଣ ଆଉ ଏକ ସମସ୍ୟା ରୂପେ ଠିଆ ହୋଇଆସୁଥିଲା । ପରେ ଉକ୍ତ ସମସ୍ୟାର ସମାଧାନ ହୋଇ ଗତ ବର୍ଷ ଏପ୍ରିଲ ମାସରୁ ଏହାର ନିର୍ମାଣ କାର୍ଯ୍ୟ ମଧ୍ୟ ଆରମ୍ଭ ହୋଇଥିଲା କିନ୍ତୁ ଆଜି ପର୍ଯ୍ୟନ୍ତ ଏହା ସମ୍ପୂର୍ଣ୍ଣ ହୋଇପାରୁନାହିଁ । ବିଜୁ ସେତୁ ସଂପୂର୍ଣ୍ଣ ହେବାକୁ ନେଇ ସ୍ଥାନୀୟ ଜନସାଧାରଣଙ୍କ ମଧ୍ୟରେ ଅସନ୍ତୋଷଭାବ ପ୍ରକାଶ ପାଉଛି । ତେଣୁ ବିଭାଗୀୟ ଅଧିକାରୀ ଏଥିପ୍ରତି ଦୃଷ୍ଟି ଦେବାକୁ ବିଭିନ୍ନ ମହଲରୁ ଦାବି ହେଉଛି ।