Onn 3

୪ର୍ଥ ପର୍ଯ୍ୟାୟରେ ୫ ଜିଲ୍ଲାର ୩୮୯ ରୂପାନ୍ତରିତ ଉଚ୍ଚବିଦ୍ୟାଳୟ ଲୋକାର୍ପିତ

State

୧-2-750x401

ଭୁବନେଶ୍ବର: ରାଜ୍ୟର ଶିକ୍ଷାର ବିକାଶ ପାଇଁ ୫ଟି ଅଧୀନରେ ଉଚ୍ଚବିଦ୍ୟାଳୟ ଗୁଡ଼ିକର ‌ରୂପାନ୍ତରିଣ କାମ ଜାରି ରଖିଛନ୍ତି। ଏହି କ୍ରମରେ ରାଜ୍ୟ ସରକାର ଆଜି ୪ର୍ଥ ପର୍ଯ୍ୟାୟରେ ୫ଟି ଜିଲ୍ଲାର ୩୮୯ଟି ଉଚ୍ଚବିଦ୍ୟାଳୟର ଲୋକାର୍ପଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂ ଜରିଆରେ ଯୋଡ଼ି ହୋଇ ଗଂଜାମ ଜିଲ୍ଲାର ୧୪୯ଟି, ଝାରସୁଗୁଡ଼ା ଜିଲ୍ଲାର ୧୧ଟି, ଜଗତସିଂହପୁର ଜିଲ୍ଲାର ୫୭ଟି, କେନ୍ଦ୍ରାପଡ଼ାର ୧୧୨ଟି ଓ ବରଗଡ଼ ଜିଲ୍ଲାର ୬୦ଟି ଉଚ୍ଚବିଦ୍ୟାଳୟ ଲୋକାର୍ପଣ କରିଛନ୍ତି।
ମୁଖ୍ୟମନ୍ତ୍ରୀ କହିଲେ ଯେ ଆଜି ଓଡିଶାରେ ରୂପାନ୍ତରର ଯୁଗ ଚାଲିଛି। ସ୍କୁଲ କଲେଜ ଠାରୁ ଆରମ୍ଭ କରି ହସ୍‌ପିଟାଲ, ପର୍ଯ୍ୟଟନ କ୍ଷେତ୍ର, ମଠ ମନ୍ଦିର, ପଞ୍ଚାୟତ, ଗାଁ ସବୁଠାରେ ରୂପାନ୍ତର କାର୍ଯ୍ୟ ଚାଲିଛି । ଏକ ନୂଆ ଓଡିଶା, ସଶକ୍ତ ଓଡିଶା ଗଠନ ପାଇଁ ଏହି ରୂପାନ୍ତର ରାସ୍ତା ପ୍ରସ୍ତୁତ କରୁଛି । ମୁଖ୍ୟମନ୍ତ୍ରୀ ଆହୁରି କହିଲେ ଯେ ଏସବୁ ରୂପାନ୍ତର କାର୍ଯ୍ୟକ୍ରମ ମଧ୍ୟରେ ସବୁଠାରୁ ଗୁରୁତ୍ବପୂର୍ଣ୍ଣ ଓ ଶ୍ରେଷ୍ଠ ହେଉଛି ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ । ସ୍କୁଲରୁ ହିଁ ଗୋଟିଏ ଜାତିର ଭବିଷ୍ୟତ ନିର୍ମାଣ ହୋଇଥାଏ। ଶିକ୍ଷା ହିଁ ଆମ ସମାଜର ସାମୁହିକ ଚିନ୍ତାଧାରକୁ ଉଚ୍ଚସ୍ତରକୁ ନେଇଥାଏ। ସ୍କୁଲ ରୂପାନ୍ତର ଓଡିଆ ଜାତିର ଉନ୍ନତି ଓ ପ୍ରଗତି କ୍ଷେତ୍ରରେ ଆଗାମୀ ଦିନରେ ମୁଖ୍ୟ ଭୂମିକା ଗ୍ରହଣ କରିବ ବୋଲି ସେ କହିଥିଲେ ।
ପିଲାମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ ୫ଟି ଉପକ୍ରମରେ ଏହି ରୂପାନ୍ତର କାର୍ଯ୍ୟକ୍ରମରେ ତୁମ ସ୍କୁଲରେ ସ୍ମାର୍ଟ କ୍ଲାସ ରୁମ୍‌, କମ୍ପ୍ୟୁଟର, ଅତ୍ୟାଧୁନିକ ଲାବୋରେଟେରୀର ବ୍ୟବସ୍ଥା କରାଯାଇଛି। ଏହା ହେଉଛି ଟେକ୍‌ନୋଲୋଜିର ପ୍ରୟୋଗ। ସେହିଭଳି ଟିମ୍‌ୱାର୍କ ଜରିଆରେ ସମସ୍ତେ ମିଳିମିଶି କାମ କରୁଛନ୍ତି। ସମସ୍ତଙ୍କ ସହ ଆଲୋଚନା କରି ସବୁ କାମ ସ୍ବଚ୍ଛତାର ସହ କରାଯାଉଛି। ଏହିସବୁର ଉପଯୋଗରେ ତୁମ ସ୍କୁଲ ମାନଙ୍କରେ ଆସିଛି ରୂପାନ୍ତର । ଯାହାକୁ ତୁମେ ଏବେ ଦେଖୁଛ ଓ ଅନୁଭବ କରୁଛ ।
ପିଲାମାନଙ୍କ ଭବିଷ୍ୟତ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ସରକାରୀ ସ୍କୁଲର ପିଲାମାନଙ୍କ ପାଇଁ ମେଡିକାଲ ଓ ଇଂଜିନିଅରିଂ କଲେଜରେ ୧୫ ପ୍ରତିଶତ ସ୍ଥାନ ସଂରକ୍ଷଣ କରାଯାଇଛି । ସରକାରୀ ସ୍କୁଲ ମାନଙ୍କରେ ପିଲାମାନଙ୍କ ଶିକ୍ଷାଦାନ କ୍ଷେତ୍ରରେ ବହୁ ଉନ୍ନତି ଆସିଛି । ଏବେ ସରକାରୀ ସ୍କୁଲରେ ପାଠ ପଢିବା ପାଇଁ ପିଲା ଓ ଅଭିଭାବକ ମଧ୍ୟରେ ଉତ୍ସାହ ପରିଲକ୍ଷିତ ହେଉଛି। ଏକ ଉଜ୍ଜଳ ଭବିଷ୍ୟତ ଗଠନ ପାଇଁ ଏବେ ସରକାରୀ ସ୍କୁଲ ଗୁଡିକ ଶ୍ରେଷ୍ଠ ମାଧ୍ୟମ ହୋଇଛି। ତେଣୁ ତୁମେମାନେ ଏହି ରୂପାନ୍ତରିତ ସ୍କୁଲର ସଠିକ ଉପଯୋଗ କରି ଭଲ ପାଠ ପଢି ଏକ ସୁନ୍ଦର ଭବିଷ୍ୟତ ଗଢିବା ପାଇଁ ମୁଖ୍ୟମନ୍ତ୍ରୀ ପିଲାମାନଙ୍କୁ ପରାମର୍ଶ ଦେଇଥିଲେ ।
ମୁଖ୍ୟମନ୍ତ୍ରୀ ପିଲାମାନଙ୍କୁ ଆହ୍ବାନ ଦେଇ କହିଥିଲେ ଯେ ତୁମେମାନେ ତୁମ ଜୀବନରେ ୫ଟି ନୀତିର ପ୍ରୟୋଗ କର । ଏହା ତୁମ ମାନଙ୍କ ପାଇଁ ସଫଳତା ଆଣିଦେବ। ତୁମେ ମାନେ ନୂଆ ନୂଆ ବୈଷୟିକ ଜ୍ଞାନକୌଶଳ ବିଷୟରେ ଜାଣିବାକୁ ଚେଷ୍ଟା କର। ମିଳିମିଶି କାମ କର। ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ ଯେ କ୍ରୀଡା କ୍ଷେତ୍ରରେ ଟିମ୍‌ ୱାର୍କର ବିଶେଷ ଭୂମିକା ରହିଛି । ସ୍ବଚ୍ଛତା ଓ ସାଧୁତା ହେଉଛି ମଣିଷ ଜୀବନର ଶ୍ରେଷ୍ଠ ଗୁଣ। ଜୀବନର ସବୁ କ୍ଷେତ୍ରରେ ସାଧୁତା ଅବଲମ୍ବନ କରିବାକୁ ଚେଷ୍ଟା କର। ସମୟ ହେଉଛି ତୁମ ମାନଙ୍କ ପାଇଁ ସବୁଠାରୁ ମୂଲ୍ୟବାନ। ସମୟକୁ ନଷ୍ଟ ନ କରି ତାର ଉପଯୋଗ କର । ଏହି ଚାରୋଟି ନୀତିକୁ ଅନୁସରଣ କଲେ ଜୀବନରେ ସଫଳତା ହାସଲ କରି ରୂପାନ୍ତର ଆସିବ।